ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଆଗକୁ ଏହା ଅବପାତର ରୂପ ନେବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଶନିବାର ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ଦୁଇ ଦିନ ଧରି ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସତର୍କତା ପରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।