Site icon ଆଜିକାଲି

ଶ୍ରୀଜଗନ୍ନାଥଙ୍କ ନବଦିନାତ୍ମକ ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ପୁରୀ: ଆସନ୍ତାକାଲିଠୁ ଶ୍ରୀଜିଉଙ୍କ ନବଦିନାତ୍ମକ ରଥଯାତ୍ରା । ଶ୍ରୀମନ୍ଦିରରୁ ଆସି ରଥାରୂଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି । ବଡ଼ଦାଣ୍ଡରେ ଗଡିବ ତିନିରଥ । ଏଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଦେଶବିଦେଶରୁ ଲକ୍ଷ ଲକ୍ଷ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ମହାପ୍ରଭୁଙ୍କ ରଥରେ ବିରାଜମାନ ହେବାର ଦୃଶ୍ୟ ସ୍ୱଚକ୍ଷୁରେ ଦେଖିବାକୁ ସମସ୍ତେ ଚାହିଁ ବସିଛନ୍ତି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି । ରଥଯାତ୍ରା ନୀତି କାନ୍ତି ଠିକ୍ ସମୟରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ମଙ୍ଗଳବାର ସକାଳ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ। ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ଗଡ଼ିବା ଆରମ୍ଭ କରିବ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ନୀତି) ପକ୍ଷରୁ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇସାରିଥିବା ସୂଚନା ଦିଆଯାଇଛି। ମଙ୍ଗଳବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ। ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ପହଣ୍ଡି ଶେଷ ହେଲା ପରେ ଦିନ ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ। ଏହାପରେ ରଥଟଣା ହେବ ।

Exit mobile version