Site icon ଆଜିକାଲି

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ‌ରେ ଗତ ଗୁରୁବାର ଏକ ଲଘୁଚାପବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର‌ ଅଞ୍ଚଳ ଉପରେ ରହିବ। ଲଘୁଚାପ ଓଡ଼ିଶା ମୁହାଁ ହେବା ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ଆଜି ସନ୍ଧ୍ୟାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ୧୦ ଓ ୧୧ ତାରିଖରେ ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଶନିବାର (୯ ତାରିଖ) ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମାଲକାନଗିରି ଓ ନୂଆପଡ଼ାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ରବିବାର ଅଧିକାଂଶ ଜାଗାରେ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ, ନୂଆପଡ଼ା, ମୟୂରଭଞ୍ଜ, ବୌଦ୍ଧ, ସୋନପୁର ଓ ବଲାଙ୍ଗିରରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ୧୧ ତାରିଖ (ସୋମବାର) ଅଧିକାଂଶ ସ୍ଥାନରେ ବର୍ଷା ହେବ । କେତେକ ଜାଗାରେ ପ୍ରବଳରୁ ପ୍ରବଳତର ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Exit mobile version