Site icon ଆଜିକାଲି

ପଞ୍ଚୁକର ତ୍ରୟୋଦଶୀ ତିଥିରେ ଆଜି ଭକ୍ତଙ୍କୁ ଆଡ଼କିଆ ବେଶରେ ଦେବେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ : କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଉକ୍ତଦିନ ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।

Exit mobile version